spot_img

Latest Posts

ବରଗଡ ଜିଲ୍ଲାରେ ହେବ ୩ଟି ନୂଆ ବୃହତ୍ ସେତୁ, ୩୯ କୋଟି ଟଙ୍କା ମଞ୍ଜୁର

ବରଗଡ : ବରଗଡ ଜିଲ୍ଲାରେ ହେବ ୩ଟି ବୃହତ ସେତୁର ନିର୍ମାଣ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ୩ଟି ନୂତନ ସେତୁ ଦ୍ବାରା ଜିଲ୍ଲାର ପ୍ରାୟ ୭.୨୫ ଲକ୍ଷ ଲୋକ ଉପକୃତ ହେବେ। ଏହାଦ୍ବାରା ଜିଲ୍ଲାରେ ଗମନାଗମନର ସୁବିଧା ସହିତ ସାମାଜିକ ସୁବିଧା ସୁଯୋଗ ଓ ଆର୍ଥିକ ଅଭିବୃଦ୍ଧିରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ 5T ସଚିବ ଭି.କେ. ପାଣ୍ଡିଆନ ଗତ ଜୁନ୍ ମାସ ୨୬ ଓ ୨୭ ତାରିଖରେ ବରଗଡ ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ଯୋଜନାର ସମୀକ୍ଷା କରିବା ସହିତ ସାଧାରଣ ଲୋକଙ୍କୁ ଭେଟି ସେମାନଙ୍କ ଅଭିଯୋଗ ଶୁଣିଥିଲେ। ବିଭିନ୍ନ ସ୍ଥାନରେ ଲୋକଙ୍କ ଅନୁରୋଧକୁ 5T ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ।  ଏହାପରେ ମୁଖ୍ୟମନ୍ତ୍ରୀ ବରଗଡ ଜିଲ୍ଲାରେ ୩ଟି ନୂତନ ବୃହତ ସେତୁର ନିର୍ମାଣ ପାଇଁ ୩୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

୩ଟି ସେତୁ ମଧ୍ୟରେ ବରପାଲିରେ ଗୋଟିଏ ବୃହତ ସେତୁ ରହିଛି। ବରପାଲିର ଜିଲୋଟ ନାଳ ଉପରେ ଏକ ସେତୁ ନିର୍ମାଣ କରାଯିବ। ୧୨୦ ମିଟର ଦୀର୍ଘ ଏହି ସେତୁ ପାଇଁ ୧୫ କୋଟି ଟଙ୍କା ଖର୍ଚ୍ଚ ହେବ। ଏହା ବରଗଡ ଓ ବରପାଲି ବ୍ଲକ ମୁଖ୍ୟାଳୟକୁ ସଂଯୋଗ କରିବା ସହିତ ଜିଲ୍ଲା ମୁଖ୍ୟାଳୟକୁ ମଧ୍ୟ ଯୋଗାଯୋଗର ସୁବିଧା ସୃଷ୍ଟି କରିବ । ଏହାଦ୍ୱାରା ପ୍ରାୟ ୨ ଲକ୍ଷ ୨୫ ହଜାର ଲୋକ ଉପକୃତ ହେବେ। ସେହିପରି ବରଗଡ ପୌରାଞ୍ଚଳ ଆଗାଁ ନଳା ଉପରେ ୬୦ ମିଟର ଦୀର୍ଘ ସେତୁ ନିର୍ମାଣ ପାଇଁ ୧୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ବରଗଡ ଜିଲ୍ଲା ମୁଖ୍ୟାଳୟ ସହିତ ପରପାଲି ଓ ଭେଡେନ ବ୍ଲକ ମୁଖ୍ୟାଳୟକୁ ଯୋଡିବ । ଏହାଦ୍ୱାର ୨ ଲକ୍ଷ ୫୦ ହଜାର ଲୋକ ଉପକୃତ ହେବେ।  ତୃତୀୟ ସେତୁଟି ସରଳା ନାଳ ଉପରେ ନିର୍ମାଣ କରାଯିବ। ୧୫୦ ମିଟର ଦୈର୍ଘ୍ୟ ବିଶିଷ୍ଟ ଏହି ସେତୁ ପାଇଁ ୧୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ଭଟଲି ବ୍ଲକ ମୁଖ୍ୟାଳୟକୁ ବରଗଡ ଓ  ଅତାବିରା ବ୍ଲକ ମୁଖ୍ୟାଳୟକୁ ଯୋଡିବ। ଏହାଦ୍ୱାରା ୨ ଲକ୍ଷ ୫୦ ହଜାର ଲୋକ ଉପକୃତ ହେବେ ।

Latest Posts

Don't Miss