ହକି ବିଶ୍ୱକପ୍ ପାଇଁ ରାଜସ୍ଥାନ ଓ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଭୁବନେଶ୍ୱର: ହକି ବିଶ୍ବକପ ପାଇଁ ସାରା ଭାରତକୁ ନିମନ୍ତ୍ରଣ କରୁଛି ଓଡ଼ିଶା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଭେଟି ନିମନ୍ତ୍ରଣ କରୁଛନ୍ତି ଓଡ଼ିଶାର ମନ୍ତ୍ରୀମାନେ । ଏହି କ୍ରମରେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଓ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କୁ ନିମନ୍ତ୍ରଣ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତରଫରୁ ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କୁ ଭେଟି ନିମନ୍ତ୍ରଣ ଦେଇଛନ୍ତି । ନିମନ୍ତ୍ରଣ ପତ୍ର ସହ ହକି ଜର୍ସି ଓ ରୁପାର ଅଶୋକ ଚକ୍ର ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିମନ୍ତ୍ରଣ ସାଦରେ ଗ୍ରହଣ କରିବା ସହ ନିମନ୍ତ୍ରଣ ପାଇଁ ଧନ୍ୟବାଦ ଜଣାଇଛନ୍ତି ପୁଷ୍କର ସିଂ ଧାମି । ଯଥାସମ୍ଭବ ଓଡ଼ିଶା ଆସି ହକି ମହାକୁମ୍ଭରେ ସାମିଲ ହେବେ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି ।

ସେହିପରି ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତରଫରୁ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ ରାଜସ୍ଥାନ ରାଜଧାନୀ ଜୟପୁର ଯାଇ ଗେହଲଟଙ୍କୁ ସ୍ୱତନ୍ତ୍ର ଭାବେ ନିମନ୍ତ୍ରଣ କରିଛନ୍ତି । ରାଜସ୍ଥାନ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ ବେଳେ ନିମନ୍ତ୍ରଣ ପତ୍ର ସହ ହକି ଟି-ସାର୍ଟ ଓ ରୁପା ଅଶୋକ ଚକ୍ର ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିମନ୍ତ୍ରଣ ସାଦରେ ଗ୍ରହଣ କରିଛନ୍ତି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ । ସୂଚନାଥାଉକି, ଓଡ଼ିଶାର ଦୁଇଟି ସ୍ଥାନ ବିର୍ଷା ମୁଣ୍ଡା ଷ୍ଟାଡିୟମ, ରାଉରକେଲା ଓ କଳିଙ୍ଗ ଷ୍ଟାଡିୟମ ଭୁବନେଶ୍ୱରରେ ଜାନୁଆରୀ ୧୩ ତାରିଖରୁ ହକି ବିଶ୍ୱକପ୍ ଆରମ୍ଭ ହେବାକୁ ଯାଉଛି ।