spot_img

Latest Posts

ଆଜି ଠାରୁ ବର୍ଷାର ପରିମାଣ ବଢିବ, ୪୫ ରୁ ୫୫ କିମି ବେଗରେ ବହିବ ପବନ

ଭୁବନେଶ୍ବର: ଉତ୍ତର ଓଡ଼ିଶା ପାର୍ଶ୍ବବର୍ତ୍ତୀ ଦକ୍ଷିଣ ଗାଙ୍ଗେୟ ଉପତ୍ୟକାରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ସମାନ ଅଞ୍ଚଳରେ କେନ୍ଦ୍ରୀଭୁତ ହୋଇଛି । ଏହାସହ ନିଜର ସ୍ବାଭାବିକ ଅବସ୍ଥାକୁ ଫେରିଛି ମୌସୁମୀ ନିମ୍ନ ଚାପରେଖା । ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷ କରି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ଅଧିକ ପ୍ରଭାବ ପଡିବ ।

ଆଜିଠାରୁ ବର୍ଷାର ବିସ୍ତୃତି ଏବଂ ପରିମାଣ ଆହୁରି ବୃଦ୍ଧି ହେବ । ଆଜି ପୁରୀ, ଜଗତସିଂହପୁର, ଢେଙ୍କାନାଳ, ଅନୁଗୁଳ ଏବଂ ସମ୍ବଲପୁରରେ ୭୦ ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ଏବଂ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, ସୋନପୁର, ବଲାଙ୍ଗିର, କଳାହାଣ୍ଡି ଏବଂ କନ୍ଧମାଳରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି ।

ଏହି ସବୁ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୧ ଏବଂ ୨ ତାରିଖରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସମେତ ରାଜ୍ୟର ସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ବର୍ଷା ସମୟରେ ୪୫ ରୁ ୫୫ କିଲୋମିଟର ବେଗରେ ପବନ ବହିବ । ସମୁଦ୍ର ଅଶାନ୍ତ ରହିବା କାରଣରୁ ଦୁଇ ଦିନ ପର୍ଯ୍ୟନ୍ତ ମତ୍ସଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି । ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ଜିଲ୍ଲାରେ ଆକସ୍ମିକ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଦୃଶ୍ୟମାନ କ୍ଷମତା କମିବା ସହ ଟ୍ରାଫିକ୍ ସମସ୍ୟା ଉପୁଜି ପାରେ । ସହରିଆ ଅଞ୍ଚଳରେ କୃତ୍ରିମ ବନ୍ୟାର ପରିସ୍ଥିତି ଦେଖାଦେଇପାରେ । ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ସହ କଚ୍ଚା ରାସ୍ତା ପ୍ରଭାବିତ ନେଇ ସତର୍କ କରାଇଛି ପାଣିପାଗ କେନ୍ଦ୍ର ।

Latest Posts

Don't Miss