ନନ୍ଦିଘୋଷ ବ୍ୟୁରୋ: ରାଜ୍ୟରେ ଉପରମୁହାଁ ପାରଦ । ଆଭ୍ୟନ୍ତରୀଣ ଓଡ଼ିଶାରେ ୩୫ ଡିଗ୍ରୀ ପାର କଲା ଦିନର ତାତି । ସର୍ବାଧିକ ତାପମାତ୍ରା ଛୁଇଁପାରେ ୩୮ଡିଗ୍ରୀ । ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାରେ ତାତି ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ମେଘମୁକ୍ତ ଆକାଶ ସହ ଖରାପାଇଁ ତାତି ବୃଦ୍ଧି ପାଉଛି। ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ତାତି ବୃଦ୍ଧି ପାଇଁ ୟେଲୋ ମାର୍କ ଦିଆଯାଇଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଆହୁରି ତାତି ବୃଦ୍ଧି ପାଇବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ବିଶେଷ କରି ଝାରସୁଗୁଡା, ସମ୍ବଲପୁର, ବରଗଡ, ବଲାଙ୍ଗିର,କଳାହାଣ୍ଡି, ଗଜପତି, ନୂଆପଡା, ଅନୁଗୁଳରେ ତାପମାତ୍ରା ଅହେତୁକ ଭାବରେ ବୃଦ୍ଧି ପାଇବ। ତାପମାତ୍ରା ବୃଦ୍ଧି ସହ ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଘନ କୁହୁଡି ଦେଖିବାକୁ ମିଳିବ। ୨୪ ଘଣ୍ଟା ପର୍ଯ୍ୟନ୍ତ ଘନ କୁହୁଡି ନେଇ ୧୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ବାଲେଶ୍ବର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା ଏବଂ ନୟାଗଡରେ ଘନ କୁହୁଡି ନେଇ ସତର୍କତା ଜାରି କରାଯାଇଛି। ସେହିଭଳି ୪ ତାରିଖରେ ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ଗଞ୍ଜାମ, ଅନୁଗୁଳ, ଢେଙ୍କାନାଳ ଏବଂ ନୟାଗଡ ଜିଲ୍ଲାକୁ ଘନ କୁହୁଡି ନେଇ ସତର୍କତା ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ଦୃଶ୍ୟମାନ ଦୂରତା ୫୦ ମିଟର ତଳକୁ ଖସିବା ସମ୍ଭାବନା ରହିଛି। କିଛି ଅଞ୍ଚଳରେ ଜିରୋ ଭିଜିବିଲିଟି ହେବାର ସମ୍ଭାବନା ରହିଛି। ଏଥିପାଇଁ ଘାଟିରାସ୍ତା ଏବଂ ଦୁର୍ଘଟଣା ପ୍ରବଣ ଅଞ୍ଚଳରେ ଗାଡି ଚାଳନା ସମୟରେ ସତର୍କତା ଅବଲମ୍ବନ କରବା ପାଇଁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର

