ଜିଲ୍ଲାସ୍ତରୀୟ ସାଧାରଣ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

1 min read

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଦ୍ବାରା କରାଯାଉଥିବା ଜିଲ୍ଲାସ୍ତରୀୟ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ବର୍ତ୍ତମାନ ସୁଦ୍ଧା ୧୮ ହଜାରରୁ ଅଧିକ ଅଭିଯୋଗ ଗ୍ରହଣ କରାଯାଇଛି । ଜନ ଅଭିଯୋଗ ଶୁଣାଣୀକୁ ଅଗ୍ରାଧିକାର ଦେବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ । ସବୁ ବିଭାଗ, ଜିଲ୍ଲା କର୍ତ୍ତୃପକ୍ଷ ମାନେ ଲୋକଙ୍କ ଅଭିଯୋଗର ତୁରନ୍ତ ସମାଧାନ ଉପରେ ଗୁରୁତ୍ବ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ଏଥିସହ ସରକାର ଅଧିନରେ ଆସିବ ଜନ ଅଭିଯୋଗ ଶୁଣାଣୀ ।

ଆସନ୍ତା ମାସ ଠାରୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଲୋକଙ୍କୁ ଫୋନ କରି ସେମାନଙ୍କ ଅଭିଯୋଗର ସମାଧାନ ସଂପର୍କରେ ଜାଣିବେ । ଢେଙ୍କାନାଳରୁ ଭିଡିଓ କନ୍ଫରେସନ୍ସ ଜରିଆରେ ଯୋଡି ହୋଇ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ ଯେ ଗତ ଦୁଇ ଦିନ ଧରି ସେ ଅନୁଗୁଳ ଜିଲ୍ଲା ଗସ୍ତ କରି ଲୋକଙ୍କ ଅଭିଯୋଗ ଓ ସମସ୍ୟା ସଂପର୍କରେ ତଥ୍ୟ ସଂଗ୍ରହ କରିଛନ୍ତି । ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ. ଜେନା କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଗ୍ରହଣ କରାଯାଉଥିବା ଅଭିଯୋଗ ଓ ଯାଚିକା ସଂପର୍କରେ ପଦକ୍ଷେପ ନିଆଯାଉଛି ।

ବିଭିନ୍ନ ବିଭାଗ ଦ୍ବାରା ସମୀକ୍ଷା ବୈଠକରେ ଲୋକଙ୍କ ସମସ୍ୟାର ସମାଧାନ ପାଇଁ ପ୍ରାଥମିକତା ଦିଆଯାଉଛି ।ମୁଖ୍ୟମନ୍ତ୍ରୀ କହିଲେ ଯେ ଜନ ଅଭିଯୋଗ ଶୁଣାଣୀ ମୋ ପାଇଁ ସବୁଠାରୁ ଅଧିକ ଗୁରୁତ୍ବପୂର୍ଣ୍ଣ । ମୁଁ ଚାହେଁ ଯେ ସବୁ ବିଭାଗ ଓ ଜିଲ୍ଲା ପ୍ରଶାସନ ଲୋକଙ୍କ ଅଭିଯୋଗ, ଅସୁବିଧାକୁ ସମ୍ବେଦନଶୀଳ ହୋଇ ଶୁଣିବା ସହିତ ଶୀଘ୍ର ସମାଧାନ କରିବା ଆବଶ୍ୟକ। ସେଥିପାଇଁ ଲୋକଙ୍କୁ ଭେଟି ସେମାନଙ୍କ ଅଭିଯୋଗ ଶୁଣିବା ପାଇଁ ମୁଁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ବିଭିନ୍ନ ଜିଲ୍ଲାକୁ ଯିବା ପାଇଁ ନିର୍ଦ୍ଦେଶ ଦେଇଛି ।

ଆମର ଅଧିକାରୀମାନେ ବିଭିନ୍ନ ଜିଲ୍ଲା, ଏପରିକି ବ୍ଲକ୍ ସ୍ତରକୁ ଯାଇ ଅଭିଯୋଗ ଶୁଣାଣୀ କରୁଛନ୍ତି ଏବଂ ଏହିସବୁ କାର୍ଯ୍ୟକ୍ରମରୁ ବର୍ତ୍ତମାନ ସୁଦ୍ଧା ୧୮ ହଜାରରୁ ଅଧିକ ଯାଚିକା ଗ୍ରହଣ କରାଯାଇଛି । ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ ମୁଁ ଆଶା କରୁଛି ସମସ୍ତ ବିଭାଗ ଗୁଡିକ ଲୋକଙ୍କ ଅଭିଯୋଗକୁ ପ୍ରାଥମିକତା ଭିତ୍ତିରେ ଶୁଣାଣୀ କରି ସମାଧାନ କରିବେ । ରାଜ୍ୟର ସମସ୍ତ ବିଭାଗ ଓ ଜିଲ୍ଲା ପ୍ରଶାସନକୁ ଲୋକଙ୍କ ଅଭିଯୋଗ ଉପରେ ଗୁରୁତ୍ବ ଦେଇ ସମାଧାନ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ ।