spot_img

Latest Posts

ରାଜ୍ୟରେ କୋଭିଡ ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ: ରୋଗୀଙ୍କ ସମ୍ପର୍କୀୟଙ୍କୁ ସଠିକ୍ ସୂଚନା ଦେବାକୁ ଗୁରୁତ୍ୱ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ସନ୍ଧ୍ୟାରେ ରାଜ୍ୟରେ କୋଭିଡ ସ୍ଥିତ ସମ୍ପର୍କରେ ସମୀକ୍ଷା କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଗତକାଲି ସର୍ବଦଳୀୟ ବୈଠକରେ ଘୋଷଣା କରିଥିବା କାର୍ଯ୍ୟକ୍ରମର ସଫଳ କାର୍ଯ୍ୟକାରିତା ସହିତ ରୋଗୀଙ୍କ ଅବସ୍ଥା ସଂପର୍କରେ ସମ୍ପର୍କୀୟଙ୍କୁ ସଠିକ ସୂଚନା ଦେବା ଏବଂ ଟିକାକରଣ କେନ୍ଦ୍ରମାନଙ୍କରେ ସାମାଜିକ ଦୂରତା ରକ୍ଷା କରିବା ଉପରେ ଗୁରୁତ୍ୱ ଆରୋପ କରିଥିଲେ ।

   ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟରେ କୋଭିଡ ସ୍ଥିତି  ଏବେ ନିୟନ୍ତ୍ରଣାଧୀନ ଅଛି ।  ରାଜ୍ୟରେ ସୁସ୍ଥ ହେଉଥିବା ରୋଗୀଙ୍କ ସଂଖ୍ୟା ନୂଆ ଚିହ୍ନଟ ହେଉଥିବା ରୋଗୀଙ୍କ ଠାରୁ ଅଧିକ ରହୁଛି । ଗତ ସପ୍ତାହରୁ  କେତେକ ଜିଲ୍ଲାରେ ସଂକ୍ରମଣ କମିବା ମଧ୍ୟ ଆରମ୍ଭ କରିଛି । ରାଜ୍ୟରେ ସଂକ୍ରମିତଙ୍କ ହାର ମଧ୍ୟ କମିଛି । ଏ ସବୁ ପାଇଁ ଲକ୍‌ଡାଉନ ଓ ଲୋକଙ୍କ ମଧ୍ୟରେ ସଚେତନତାକୁ ମୁଖ୍ୟମନ୍ତ୍ରୀ ଶ୍ରେୟ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଂକ୍ରମଣ ହାରକୁ ସମ୍ପୂର୍ଣ୍ଣ କମାଇବା ପାଇଁ ରାଜ୍ୟ ସରକାର ଲକ୍‌ଡାଉନ ଅବଧିକୁ ଆଉ ଦୁଇ ସପ୍ତାହ ବୃଦ୍ଧି କରିଛନ୍ତି । ଲୋକଙ୍କ ସହଯୋଗ ଉପରେ ପୂର୍ଣ୍ଣ ଆସ୍ଥା ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,  ଆମେ ଯଦି ସମସ୍ତେ କୋଭିଡ ନିୟମ ମାନି ମାସ୍କ ପିନ୍ଧିବା, ବାରମ୍ବାର ସାବୁନରେ ହାତ ଧୋଇବା, ସାମାଜିକ ଦୂରତା ରକ୍ଷା କରିବା ଏବଂ ଅନାବଶ୍ୟକ ଭାବରେ ବାହାରେ ବୁଲିବା ବନ୍ଦ କରିଦେବା, ତେବେ ଆମେ ନିଶ୍ଚୟ ଏହି ଲଢେଇ ଜିତିପାରିବା ।

            ଗତକାଲି ସର୍ବଦଳୀୟ ବୈଠକରେ ଘୋଷଣା କରାଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କୋଭିଡ ଯୋଗୁ ଅନେକ ପରିବାର ଛାରଖାର ହୋଇଯାଇଛି। ତେଣୁ କୋଭିଡ ମୃତକଙ୍କ ବିଧବା ଏବଂ ବାପା-ମା’ଙ୍କୁ ହରାଇଥିବା ପିଲାମାନେ ଯେପରି ତୁରନ୍ତ ସହାୟତା ପାଇପାରିବେ, ସେଥିପାଇଁ ତୁରନ୍ତ ପଦକ୍ଷେପ ନେବାକୁ  ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ ।

 ସେହିପରି ସଂକ୍ରମଣ ରୋକିବାକୁ ମଇ ୨୪ରୁ ଆରମ୍ଭ ହେବାକୁ ଥିବା ସର୍ଭେ ଯେପରି ସମ୍ପୂର୍ଣ୍ଣ ତ୍ରୁଟିଶୂନ୍ୟ ହେବ, ତାକୁ ଆଖି ଆଗରେ ରଖି ଯୋଜନା ପ୍ରସ୍ତୁତ କରିବା ପାଇଁ ଜିଲ୍ଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଏଥିରେ ପଞ୍ଚାୟତ ଓ ଗାଁ କଲ୍ୟାଣ ସମିତି ମାନଙ୍କୁ ସକ୍ରିୟ ଭାବେ ସାମିଲ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

            କୋଭିଡରେ ପୀଡ଼ିତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀମାନଙ୍କ ସମ୍ପର୍କୀୟ ମାନେ ରୋଗୀଙ୍କ ଅବସ୍ଥା ସମ୍ପର୍କରେ ଯେପରି ସଠିକ ସୂଚନା ପାଇପାରିବେ, ସେ ଦିଗରେ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ସେଥିପାଇଁ ହେଲ୍ପ ଡେସ୍କ ବ୍ୟବସ୍ଥାରେ ଉନ୍ନତି ଆଣିବା ସହିତ ନିୟୋଜିତ କର୍ମଚାରୀମାନଙ୍କୁ ମାନବିକ ଦୃଷ୍ଟିଭଙ୍ଗୀ ନେଇ କାର୍ଯ୍ୟ କରିବା ପାଇଁ ସେ ପରାମର୍ଶ ଦେଇଥିଲେ ।

 ଟିକାକରଣ କୋଭିଡ ନିୟନ୍ତ୍ରଣ ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବୋଲି ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ ଟିକାକରଣ କେନ୍ଦ୍ର ମାନଙ୍କରେ ସାମାଜିକ ଦୂରତା ସୁନିଶ୍ଚିତ  କରିବା ଉପରେ ଗୁରୁତ୍ୱ ଦେଇଥିଲେ । ଲୋକମାନେ ଯେପରି ସୁବିଧାରେ ଟିକାକରଣ କେନ୍ଦ୍ରରେ ପହଞ୍ଚି ଟିକା ନେଇପାରିବେ, ସେଥିପାଇଁ ସେମାନଙ୍କୁ ଟିକାକରଣ କେନ୍ଦ୍ରର ସ୍ଥାନ ଓ ସମୟ ସଂପର୍କରେ ପୂର୍ବରୁ ସୂଚନା ଦେବା ପାଇଁ ପରାମର୍ଶ ଦେଇଥିଲେ ।

Latest Posts

Don't Miss