ଧାର୍ମିକ ଅନୁଷ୍ଠାନ, ଡାକ୍ତରଖାନା, ଅଫିସ୍ ଓ ହାଟ ବଜାରରେ କୋଭିଡ୍ ନିୟମ କଡ଼ାକଡ଼ି ପାଇଁ ନିର୍ଦ୍ଦେଶ

1 min read
CM Naveen Warns Obey Covid Guidelines Otherwise Lockdown

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କୋଭିଡ ପରିସ୍ଥିତ ସମ୍ପର୍କରେ ସମୀକ୍ଷା କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମେରିକା ଠାରୁ ଆରମ୍ଭ କରି କେରଳ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ କରୋନା ସଂକ୍ରମଣ ବଢ଼ିବା ଚିନ୍ତାଜନକ । ତେଣୁ ଏ ପରିସ୍ଥିତିରେ ଆମକୁ ସମ୍ଭାବ୍ୟ ତୃତୀୟ ଲହର ଠାରୁ ନିରାପଦ ରହିବାକୁ ହେଲେ, କୋଭିଡ୍ ନିୟମକୁ କଡ଼ାକଡ଼ି ଭାବରେ ପାଳନ କରିବାକୁ ହେବ । ଏଥିରେ ସାମାନ୍ୟ ଅବହେଳା ସମସ୍ତଙ୍କ ପାଇଁ ବିପଦର କାରଣ ହୋଇପାରେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଛନ୍ତି ।

କୋଭିଡ୍ ଆଚରଣବିଧି ହେଉଛି, କୋଭିଡ୍ ବିରୋଧରେ ଲଢିବା ପାଇଁ ସବୁଠାରୁ ଶକ୍ତିଶାଳୀ ଅସ୍ତ୍ର ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହାର ଉପଯୁକ୍ତ ପାଳନ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ । ପିଲାମାନେ ଏପର୍ଯ୍ୟନ୍ତ ଟିକା ନେଇନାହାନ୍ତି । ତେଣୁ ସେମାନଙ୍କ ପାଇଁ ଆମକୁ ଅଧିକ ସତର୍କ ରହିବାକୁ ହେବ । କୋଭିଡ୍ ନିୟମ ପାଳନରେ ଅବହେଳା ଯଦି ଦୃଷ୍ଟିକୁ ଆସେ, ତେବେ ଅନୁଷ୍ଠାନର ମୁଖ୍ୟ ଦାୟୀ ରହିବେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଛନ୍ତି । ପ୍ରଶାସନ ଏଥିପାଇଁ ସ୍ବତନ୍ତ୍ର ଚିମ୍‌ ଗଠନ କରି ଶିକ୍ଷାନୁଷ୍ଠାନ ଗୁଡ଼ିକ ନିୟମିତ ଭାବରେ ଅଚାନକ ଯାଞ୍ଚ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ସେହିପରି ହାଟ ବଜାର, ଧର୍ମାନୁଷ୍ଠାନ, ସ୍ୱାସ୍ଥ୍ୟ ପ୍ରତିଷ୍ଠାନ ଆଦି ଗୁଡ଼ିକ ଉପରେ ସତର୍କ ଦୃଷ୍ଟି ରଖିବା ସହିତ ସେଠାରେ କୋଭିଡ୍ ନିୟମ କଡ଼ାକଡ଼ି ପାଳନ ଉପରେ ପ୍ରଶାସନ ଦୃଷ୍ଟି ରଖିବା ଉପରେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସ୍ବାସ୍ଥ୍ୟକର୍ମୀ, ସ୍କୁଲ ଯାଉଥିବା ପିଲା, ଗର୍ଭବତୀ ମହିଳା, ସରକାରୀ କର୍ମଚାରୀ ଏବଂ ପୋଲିସ ଏହି ହାଇରିସ୍କ ଗ୍ରୁପ୍ର । ନିୟମିତ ଭାବରେ ଟେଷ୍ଟିଂ ଜାରି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତିଷ

ଏବେ କେତେକ କ୍ଷେତ୍ରରେ ସ୍ବାସ୍ଥ୍ୟକର୍ମୀଙ୍କ ଭିତରେ ସଂକ୍ରମଣ ନଜରକୁ ଆସୁଛି । ତେଣୁ ଉଭୟ ସରକାରୀ ଓ ବେସରକାରୀ କ୍ଷେତ୍ରରେ କାମ କରୁଥିବା ସ୍ୱାସ୍ଥ୍ୟକର୍ମୀ ଓ ନମୂନା ସଂଗ୍ରହ କରୁଥିବା ଟିମ୍‌ ମାନଙ୍କୁ କୋଭିଡ୍ ନିୟମ ସମ୍ପର୍କରେ ବାରମ୍ବାର ସଚେତନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଏହାସହିତ ଡେଲ୍ଟା ଭାରିଏଣ୍ଟ ଅଧିକ ସଂକ୍ରମଣ କରୁଥିବାରୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ କରି ନିରନ୍ତର ଦୃଷ୍ଟି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ଯୋଗାଣରେ ବୃଦ୍ଧି ଘଟିଥିବାରୁ ଟିକାକରଣରେ ମଧ୍ୟ ଉନ୍ନତି ଆସିଛି । ତେଣୁ ଯେପରି ସବୁ ଲୋକ ତାଙ୍କର ଦୁଇଟି ଯାକ ଡୋଜ୍ ନିଶ୍ଚିତ ନେବେ, ତାହା ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଗକୁ ପାର୍ବଣ ଋତୁ ଆସୁଛି । କେରଳରେ ଓନାମ୍‌ ପର୍ବ ପାଳନ ପରେ ପରେ ସଂକ୍ରମଣ ବୃଦ୍ଧିର ଉଦାହରଣ ଦେଇ ପାର୍ବଣ ସମୟରେ ସମସ୍ତଙ୍କୁ ଅଧିକ ସତର୍କ ରହିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ପରିସ୍ଥିତିର ଗୁରୁତ୍ୱକୁ ଉପଲବ୍ଧି କରିବା ପାଇଁ ସମସ୍ତଙ୍କୁ ନିବେଦନ କରିଥିଲେ । ଏହାଦ୍ବାରା ଆମେ ଭବିଷ୍ୟତରେ ଲକଡାଉନକୁ ଏଡ଼ାଇ ପାରିବା ଏବଂ ଲୋକଙ୍କ ଆର୍ଥିକ ଅବସ୍ଥାରେ କ୍ଷତି ହେବ ନାହିଁ ।

ପାର୍ବଣ ଋତୁ ସମୟରେ ଆମର ଦାୟିତ୍ୱପୂର୍ଣ୍ଣ ବ୍ୟବହାର ହିଁ ତୃତୀୟ ଲହରକୁ ନିୟନ୍ତ୍ରଣ କରିବା ପାଇଁ ନିର୍ଣ୍ଣାୟକ ହେବ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ମାସ୍କ ପିନ୍ଧିବା, ହାତ ଧୋଇବା, ସାମାଜିକ ଦୂରତା ରକ୍ଷା କରିବା ଏବଂ ଭିଡକୁ ନ ଯିବା ପାଇଁ ଅନୁରୋଧ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବର୍ତ୍ତମାନ ସାଧାରଣ ଲୋକଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଲକଡାଉନ୍ କୋହଳ କରାଯାଇଛି । କିନ୍ତୁ ତାର ଅର୍ଥ ନୁହେଁ ଯେ ଆମେ ନିୟମ ପାଳନରେ ଢିଲା କରିବା । ଯଦି ଆବଶ୍ୟକ ପଡ଼େ, ସାମୂହିକ ସ୍ୱାର୍ଥ ଦୃଷ୍ଟିରୁ ରାଜ୍ୟ ସରକାର ପୁଣି ଥରେ ଲକଡାଉନ୍ ପାଇଁ ବାଧ୍ୟ ହେବେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇଛନ୍ତି ।

ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶର ଅନୁପାଳନ ଉପରେ ଗୁରୁତ୍ବ ଦେଇଥିଲେ । ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ସତ୍ୟବ୍ରତ ସାହୁ ବିଭାଗୀୟ କାର୍ଯ୍ୟକ୍ରମ ଉପରେ ଉପସ୍ଥାପନା ରଖିଥିଲେ ।

ପୋଲିସ ମହାନିର୍ଦ୍ଦେଶକ ଅଭୟ ମଧ୍ୟ କୋଭିଡ୍ ନିୟମ ଅନୁପାଳନ ଉପରେ ପୋଲିସର ପଦକ୍ଷେପ ଉପରେ ସୂଚନା ଦେଇଥିଲେ । ବିଏମସି ଏବଂ ସିଏମସି କମିଶନର, ଦେବଗଡ଼ ଓ ପୁରୀର ଜିଲ୍ଲାପାଳମାନେ ସେମାନଙ୍କ ଅଞ୍ଚଳର ପରିସ୍ଥିତି ଉପରେ ସୂଚନା ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ ୫-ଟି ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ । ଉନ୍ନୟନ କମିଶନର ଓ ବିଭିନ୍ନ ବିଭାଗର ସଚିବମାନେ ଉପସ୍ଥିତ ଥିଲେ।

Leave a Reply