ଆଜି ଠାରୁ ତିନି ଦିନ ଶ୍ରୀମନ୍ଦିରରେ ଦେବଦୀପାବଳି

ପୁରୀ: ଆଜିଠାରୁ ଶ୍ରୀମନ୍ଦିରରେ ତିନିଦିନ ବ୍ୟାପୀ ମହାପ୍ରଭୁଙ୍କ ଦେବ ଦୀପାବଳି ନୀତି ଅନୁଷ୍ଠିତ ହେବ । ଏହି ତିନିଦିନ ମହାପ୍ରଭୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିବା ସହ ଶ୍ରାଦ୍ଧ ପ୍ରଦାନ କରାଯିବ  । ସାଧାରଣ ହିନ୍ଦୁମାନେ ଯେପରି କାର୍ତ୍ତିକ ଅମାବାସ୍ୟା ତିଥି, ଦୀପାବଳି ଦିନ ନିଜ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଶ୍ରାଦ୍ଧ ତର୍ପଣାଦି କରି ଦୀପଦାନ କରିଥାନ୍ତି।

ଠିକ ସେହିପରି ମହାପ୍ରଭୁ ଶ୍ରୀଜଗନ୍ନାଥ ମାର୍ଗଶିର ମାସ କୃଷ୍ଣପକ୍ଷ ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ଶୁକ୍ଳ ପ୍ରତିପଦା ତିଥିରେ ତିନିଦିନ ଧରି ପିତୃଗଣଙ୍କୁ ଶ୍ରାଦ୍ଧ ପ୍ରଦାନ ପୂର୍ବକ ଦୀପଦାନ କରିଥାନ୍ତି । ଏହି ତିନି ଦିନ ଶ୍ରୀଜଗନ୍ନାଥ ଶ୍ରାଦ୍ଧବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି। ଶ୍ରାଦ୍ଧବେଶରେ ଭୂଷିତ ହୋଇ ବାମନ ରୂପରେ ସତ୍ୟଯୁଗର ଅଦିତି ଓ କଶ୍ୟପ, ଶ୍ରୀରାମ ରୂପରେ ତ୍ରେତୟା ଯୁଗର କୌଶଲ୍ୟା ଓ ଦଶରଥ ଓ ଦ୍ୱାପର ଯୁଗର ଶ୍ରୀକୃଷ୍ଣ ରୂପରେ ଦେବକୀ ଓ ବସୁଦେବ ତଥା ଗୁଣ୍ଡିଚା ଓ ଇନ୍ଦ୍ରଦ୍ୟୁମ୍ନଙ୍କ ଉଦ୍ଦେଶ୍ୟରେ ଶ୍ରାଦ୍ଧ ପ୍ରଦାନ ପୂର୍ବକ ଦୀପଦାନ କରିଥାନ୍ତି ।