ମୁଖ୍ୟମନ୍ତ୍ରୀଙ୍କ ଦୀର୍ଘାୟୁ ଉଦ୍ଦେଶ୍ୟରେ ଶିଖରଚଣ୍ଡୀ ମନ୍ଦିରରେ ଦୀପଦାନ

1 min read

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଦୀର୍ଘାୟୁ ଉଦ୍ଦେଶ୍ୟରେ ଦୀପଦାନ । ଭୁବନେଶ୍ବର ପଟିଆ ନିକଟ ଶିଖରଚଣ୍ଡୀ ମନ୍ଦିରରେ ଦୀପ ଦାନ କଲେ ଶତାଧିକ ଲୋକ । ଗତକାଲି ଶିଖରଚଣ୍ଡୀ ମନ୍ଦିରର ଉନ୍ନୟନ ମାଷ୍ଟରପ୍ଲାନକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି । ବିକାଶ ମୂଳକ ପ୍ରକଳ୍ପରେ ଖର୍ଚ୍ଚ ହେବ ୨୫କୋଟି ଟଙ୍କା । ଏହି ନିଷ୍ପତ୍ତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି ଲୋକ । ଶିଖରଚଣ୍ଡୀ ମନ୍ଦିର ଓ ଏହାର ପାରିପାର୍ଶ୍ବିକ ଅଞ୍ଚଳର ଉନ୍ନୟନ କରାଯାଇ ଏହାକୁ ଭୁବନେଶ୍ବର ସହରର ଅନ୍ୟତମ ଆକର୍ଷଣ କେନ୍ଦ୍ର ଭାବରେ ବିକଶିତ କରାଯିବ ।

୫୩.୬୪ ଏକର ଅଞ୍ଚଳରେ ଏହି ଉନ୍ନତି କାର୍ଯ୍ୟ କରାଯିବ। ଗତ କିଛି ଦିନ ତଳେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଶିଖରଚଣ୍ଡୀ ମନ୍ଦିର ପରିଦର୍ଶନ କରି ଏହାର ମାଷ୍ଟରପ୍ଲାନ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଉନ୍ନୟନ ଯୋଜନାକୁ ପରିବେଶ ଉପଯୋଗୀ କରିବା ପାଇଁ ସେ ପରାମର୍ଶ ଦେଇଥିଲେ। ବିଡିଏ ଏହି ଉନ୍ନୟନ କାର୍ଯ୍ୟ କରିବା ସହିତ ଆଗକୁ ମଧ୍ୟ ଏହି ଅଞ୍ଚଳର ପରିଚାଳନା ଦାୟିତ୍ବ ଗ୍ରହଣ କରିବ । ମାଷ୍ଟରପ୍ଲାନ ଅନୁଯାୟୀ ସମୁଦାୟ ଅଞ୍ଚଳକୁ ୪ଟି ଜୋନ୍‌ରେ ବିଭକ୍ତ କରାଯାଇଛି।

ଜୋନ୍‌-୧ରେ ପାର୍କିଂ, ସାଧାରଣ ଲୋକଙ୍କ କ୍ରୀଡା ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ପାଇଁ ସ୍ଥାନର ଉନ୍ନତିକରଣ ଓ ଅନ୍ୟାନ୍ୟ ସୁବିଧାର ବିକାଶ କରାଯିବ। ଜୋନ୍‌-୨ରେ ଭିୟୁ ପଏଣ୍ଟ ଓ ଟ୍ରେକିଂ ରୁଟ ରହିବ । ଜୋନ-୩ ଓ ୪ ରେ ମନୋରଞ୍ଜନ ମୂଳକ କାର୍ଯ୍ୟ ପାଇଁ ଭିତ୍ତିଭୂମି, କମ୍ୟୁନିଟି ସେଣ୍ଟର, ମୁଖ୍ୟ ମନ୍ଦିରର ଉନ୍ନତିକରଣ, ଦୋକାନ ଗୃହ ଓ ଅନ୍ୟାନ୍ୟ ସୁବିଧାର ବ୍ୟବସ୍ଥା କରାଯିବ। ଶିଖରଚଣ୍ଡୀ ମନ୍ଦିରର ଉନ୍ନୟନ ସ୍ଥାନୀୟ ଜନତାଙ୍କର ବହୁ ଦିନର ଆଶା ଥିଲା।