ଆମ ଓଡ଼ିଶା, ନବୀନ ଓଡ଼ିଶାରେ ସାମିଲ ହେଲା ବାଲେଶ୍ବର ଜିଲ୍ଲା

ବାଲେଶ୍ବର: ଆମ ଓଡ଼ିଶା, ନବୀନ ଓଡ଼ିଶାରେ ସାମିଲ ହେଲା ବାଲେଶ୍ବର ଜିଲ୍ଲା । ଜିଲ୍ଲାର ୮ଟି ନିର୍ବାଚନମଣ୍ଡଳୀର ବିକାଶ ପାଇଁ ସ୍ବତନ୍ତ୍ର ଉନ୍ନୟନ ପାଣ୍ଠିରୁ ୪ ହଜାର ୪୬୫ଟି ପ୍ରକଳ୍ପ ପାଇଁ ୧୭୮ କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆମ ଓଡ଼ିଶା, ନବୀନ ଓଡ଼ିଶା ଯୋଜନାରେ ପ୍ରତି ପଞ୍ଚାୟତର ବିକାଶ ପାଇଁ ୫୦ ଲକ୍ଷ ଟଙ୍କା ଲେଖାଏଁ ଅନୁଦାନ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଭୋଗରାଇ, ବସ୍ତା, ଜଳେଶ୍ବର, ରେମୁଣା, ସଦର, ନୀଳଗିରି, ସୋର, ସିମୁଳିଆ ନିର୍ବାଚନ ମଣ୍ଡଳୀରୁ ମନ୍ତ୍ରୀ ପ୍ରତାପ ଦେବ, ବିଧାୟକ ଅନନ୍ତ ଦାସ, ଅଶ୍ବିନୀ ପାତ୍ର, ନିତ୍ୟାନନ୍ଦ ସାହୁ, ସୁଧାଂଶୁ ପରିଡ଼ା, ପର୍ଶୁରାମ ଧଡ଼ା, ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ଜିଲ୍ଲାପରିଷଦ ସଭାପତି ନାରାୟଣ ପ୍ରଧାନଙ୍କ ସମେତ ହଜାର ହଜାର ଜନସାଧାରଣ ଯୋଗଦେଇଥିଲେ । ଏହି ଅବସରରେ ବିଭିନ୍ନ ଉନ୍ନୟନ କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଆମ ଓଡ଼ିଶା, ନବୀନ ଓଡ଼ିଶାର ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କୁ ଧନ୍ୟବାଦ ଜଣାଇଥିଲେ ।

ଭୋଗରାଇର ଚନ୍ଦନେଶ୍ବର ମନ୍ଦିର, ତାଳସାରୀ ସମୁଦ୍ର କୂଳରେ ଆଡ଼ିବନ୍ଧ ସାଙ୍ଗକୁ ସୌନ୍ଦର୍ଯ୍ୟକରଣ, କ୍ଷୀରଚୋରା ଗୋପୀନାଥ, ଝାଡ଼େଶ୍ବର ମନ୍ଦିର, ପଞ୍ଚଲିଙ୍ଗେଶ୍ବର ପୀଠ, ଉତ୍ତର ବାଲେଶ୍ବରକୁ ସଦର ମହକୁମା ସହିତ ଯୋଡ଼ୁଥିବା ବୁଢାବଳଙ୍ଗ ନଦୀ ଉପରେ ପୋଲ, ମେଗା ପାଇପ୍‌ ପାଣି ଯୋଜନା ଭଳି ୪୪୬୫ଟି ପ୍ରକଳ୍ପକୁ ଆଜି ମଞ୍ଜୁରୀ ମିଳିଛି । ଏହି ପ୍ରକଳ୍ପରେ ୧୭୮ କୋଟି ଟଙ୍କା ଖର୍ଚ୍ଚ କରାଯାଇ ଅଞ୍ଚଳର ବିକାଶ କରାଯିବ । ସରକାରୀ ଅନୁଦାନକୁ ସ୍ବଚ୍ଛତାର ସହିତ ବିନିଯୋଗ କରି ସ୍ଥାନୀୟ ଅଞ୍ଚଳର ବିକାଶରେ ଭାଗିଦାର ହେବାକୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଆହ୍ବାନ ଦେଇଛନ୍ତି ।

ନବୀନ ଓଡିଶାର ପରିଚୟ ନେଇ ପ୍ରତି ଗାଁ ଆଗକୁ ବଢିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ବାଲେଶ୍ୱର ଜିଲ୍ଲାର ରେମୁଣା ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୬୬ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୭.୩୯ କୋଟି ଟଙ୍କା  ମଞ୍ଜୁର କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୩.୧୫ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଭୋଗରାଇ ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୫୩ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୭.୧୯ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୮.୬୫ କୋଟି ଟଙ୍କା ମଞ୍ଜୁର କରାଯାଇଛି ।

ସେହିପରି ଜଳେଶ୍ୱର ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୨୨ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୦.୩୬ କୋଟି ଟଙ୍କା  ମଞ୍ଜୁର କରାଯାଇଛି । ଏହା ସହିତ ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୫.୫୮ କୋଟି ଟଙ୍କା ମଞ୍ଜୁର କରାଯାଇଛି । ସୋର ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୯୦ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୫.୭୦ କୋଟି ଟଙ୍କା  ମଞ୍ଜୁର କରାଯାଇଛି ।  ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୯.୯୨ କୋଟି ଟଙ୍କା ମଞ୍ଜୁର କରାଯାଇଛି ।

ବସ୍ତା ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୨୭ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୨.୩୯ କୋଟି ଟଙ୍କା ମଞ୍ଜୁର କରାଯାଇଛି ।  ୧୦ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୦୭.୫୪ କୋଟି ଟଙ୍କା ମଞ୍ଜୁର କରାଯାଇଛି । ବାଲେଶ୍ୱର ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୧୯ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୮.୭୫ କୋଟି ଟଙ୍କା ମଞ୍ଜୁର କରାଯାଇଛି ।  ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୯.୦୫ କୋଟି ଟଙ୍କା ମଞ୍ଜୁର କରାଯାଇଛି ।

ନୀଳଗିରି ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୦୧ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୦.୯୧ କୋଟି ଟଙ୍କା ମଞ୍ଜୁର କରାଯାଇଛି ।  ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୮.୭୬ କୋଟି ଟଙ୍କା ମଞ୍ଜୁର କରାଯାଇଛି । ସିମୁଳିଆ ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୮୮ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୯.୨୫ କୋଟି ଟଙ୍କା  ମଞ୍ଜୁର କରାଯାଇଛି ।  ଏହା ସହିତ ୧୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୦.୮୭ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହିପରି ବାଲେଶ୍ୱର ୫୯ ପ୍ରକଳ୍ପ ପାଇଁ ୨୨୪.୨୨ କୋଟି ଟଙ୍କା ମଞ୍ଜୁର କରାଯାଇଛି ।