ପଦୋନ୍ନତି ପାଇବେ ୬୩ ହଜାର ୩୦୩ ପ୍ରାଥମିକ ଶିକ୍ଷକ: ଗୁଣାତ୍ମକ ଶିକ୍ଷା ନେଇ ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀ

1 min read

ଭୁବନେଶ୍ୱର:  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ପ୍ରାଥମିକ ବିଦ୍ୟାଳୟ ଗୁଡିକର ଶିକ୍ଷକମାନଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିୟଡ୍‌କୁ କମ୍ କରାଯାଇଛି। ଏହା ଦ୍ୱାରା ରାଜ୍ୟର ୬୩,୩୦୩ ଜଣ ପ୍ରାଥମିକ ଶିକ୍ଷକ ପଦୋନ୍ନତି ପାଇପାରିବେ । ତା’ ସହିତ ଉଚ୍ଚପ୍ରାଥମିକ ସ୍ତରରେ ବିଭିନ୍ନ ବିଷୟ ପାଇଁ ଶିକ୍ଷକ ପଦବୀ ପୂରଣ ହେବ ଏବଂ ପ୍ରାଥମିକ ଓ ଉଚ୍ଚପ୍ରାଥମିକ ସ୍ତରରେ ପ୍ରଧାନ ଶିକ୍ଷକ ପଦବୀ ଗୁଡିକ ମଧ୍ୟ ପୂରଣ ହୋଇପାରିବ । ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ବିଭିନ୍ନ ସ୍ତରରେ ଶିକ୍ଷକ ଅଭାବ ପୂରଣ ହେବା ଦ୍ୱାରା ପ୍ରାଥମିକ ବିଦ୍ୟାଳୟ ଗୁଡିକର ପରିଚାଳନାରେ ଉନ୍ନତି ଆସିବା ସହିତ ଶୈକ୍ଷିକ ପରିବେଶରେ ମଧ୍ୟ ଉନ୍ନତି ଆସିପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।

ଏହି ପ୍ରସ୍ତାବ କାର୍ଯ୍ୟକାରୀ ହେବା ଦ୍ୱାରା ୫(ଏ) ସ୍ତରରେ ଥିବା ୨୯,୭୫୯ ଜଣ ସହକାରୀ ଶିକ୍ଷକ ୫(ବି) ସ୍ତରକୁ ପଦୋନ୍ନତି ପାଇବେ ଏବଂ ୫(ବି) ସ୍ତରରେ ଥିବା ୨୯,୭୫୯ ଜଣ ବରିଷ୍ଠ ଶିକ୍ଷକ ତୁରନ୍ତ ଲେଭେଲ-୪ କୁ ପଦୋନ୍ନତି ପାଇବେ । ଏହାସହିତ ଲେଭେଲ ଲେଭଲ-୪ରେ ଥିବା ୩୭୮୫ ଜଣ ପ୍ରଧାନ ଶିକ୍ଷକ ସେପ୍ଟେମ୍ବର ମାସ ସୁଦ୍ଧା ଲେଭେଲ-୩କୁ ପଦୋନ୍ନତି ପାଇବେ । ଲେଭେଲ ୫(ବି) ରେ ଥିବା ସହକାରୀ ଶିକ୍ଷକମାନଙ୍କ ପାଇଁ ରେସିଡେସନ୍‌ସି ପିରିଅଡକୁ ଏକ ବର୍ଷରୁ ୬ ମାସ କରାଯାଇଥିବା ବେଳେ, ଲେଭେଲ-୪ ରୁ ଲେଭେଲ-୩ କୁ ପଦୋନ୍ନତି ପାଇବା ପାଇଁ ରେସିଡ଼େନସି ପିରିଅଡର ସୀମା ୨ ବର୍ଷରୁ ୧ ବର୍ଷ କରାଯାଇଛି । ସୂଚନାଯୋଗ୍ୟ ଯେ ୨୦୧୯ରେ ପ୍ରାଥମିକ ଶିକ୍ଷକ ମାନଙ୍କ କ୍ୟାଡରର ପୁନର୍ଗଠନ କରାଯାଇ ଲେଭେଲ-୪ ରେ ୨୧,୪୬୩ ଶିକ୍ଷକ ପଦବୀ ସ୍ଥାନରେ ୫୧,୧୬୪ ଟି ପଦବୀ ସୃଷ୍ଟି କରାଯାଇଥିଲା ଏବଂ ଲେଭେଲ-୩ ରେ ଥିବା ୯୩୦୫ ଟି ପଦବୀ ସ୍ଥାନରେ ୧୮,୭୬୯ ଶିକ୍ଷକ ପଦବୀ ସୃଷ୍ଟି କରାଯାଇଥିଲା ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦୋନ୍ନତି ପାଇବାକୁ ଯାଉଥିବା ସବୁ ଶିକ୍ଷକ ମାନଙ୍କୁ ଅଭିନନ୍ଦନ ଜଣାଇବା ସହ ଗୁଣାତ୍ମକ ଶିକ୍ଷାଦାନ ଦିଗରେ ରାଜ୍ୟ ସରକାରଙ୍କ ଉଦ୍ୟମର ସଫଳତାରେ ସମସ୍ତ ଙ୍କ ସହଯୋଗ କାମନା କରିଛନ୍ତି ।

ଏଥିସହିତ ପଢ଼ନ୍ତୁ:ଅଗଷ୍ଟ ପ୍ରଥମ ସପ୍ତାହରେ ଖୋଲିବ ନନ୍ଦନକାନନ

Leave a Reply