ଆସନ୍ତା ୧୭ ତାରିଖରୁ ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ବର: ରାଜ୍ୟରେ ବଦଳିବ ପାଗ। ଆସନ୍ତା ୧୭ ତାରିଖରୁ ବର୍ଷା ସମ୍ଭାବନା ରହିଛି । ଉତ୍ତର ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୧୭ ତାରିଖରେ ଝାରସୁଗୁଡା, କେନ୍ଦୁଝର, ମୟୁରଭଞ୍ଜ ଏବଂ ସୁନ୍ଦରଗଡରେ ବର୍ଷା ହେବାର ସମ୍ଭାବନା ରହିଛି । ୧୮ ତାରିଖରେ ଅଧିକାଂଶ ସ୍ଥାନରେ ପାଗ କୋହଲା ରହିବା ସହ ଝାରସୁଗୁଡା, ସମ୍ବଲପୁର, ବରଗଡ, ଦେବଗଡ, ଅନୁଗୁଳ, ଢେଙ୍କାନାଳ, ଭଦ୍ରକ, ବାଲେଶ୍ବର, କେନ୍ଦୁଝର, ମୟୁରଭଞ୍ଜ ଏବଂ ସୁନ୍ଦରଗଡରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ଆକଳନ କରାଯାଇଛି । ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ କିଛି ଅଞ୍ଚଳରେ ଶୀତ ଅନୁଭୂତ ହେବ । ୧୭ ତାରିଖ ବେଳକୁ ରାଜ୍ୟରେ ପଶ୍ଚିମା ଝଡ ସକ୍ରିୟ ହେବାର ସମ୍ଭାବନା ଥିବାରୁ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର କହିଛି ।

ସେପଟେ ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକା ଶୀତ ସହ ଘନ କୁହୁଡିର ଆସ୍ତରଣ ଅସ୍ତବ୍ୟସ୍ତ କରିବ । ମେଘମୁକ୍ତ ଆକାଶ ସହ ବାୟୁମଣ୍ଡଳରେ ଜଳୀୟବାଷ୍ପର ପରିମାଣ ଅଧିକ ପରିମାଣର ରହୁଥିବାରୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି । ଆସନ୍ତା କାଲି ସକାଳ ପର୍ଯ୍ୟନ୍ତ ଘନ କୁହୁଡି ପାଇଁ ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ, ଗଞ୍ଜାମ, କନ୍ଧମାଳ, କଳହାଣ୍ଡି ଏବଂ କୋରାପୁଟ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୫୦ ମିଟରରୁ ୨୦୦ ମିଟର ପର୍ଯ୍ୟନ୍ତ ଦୃଶ୍ୟମାନ ଦୂରତା ରହିବ । ଗତ ୨୪ ଘଣ୍ଟା ମଧ୍ୟରେ କିରେଇରେ ସର୍ବନିମ୍ନ ୭.୩ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ସେହିଭଳି ଗୋପାଳପୁର ଏବଂ ଫୁଲବାଣୀରେ ଘନ କୁହୁଡି ଦୃଶ୍ୟମାନ ହୋଇଥିବା ବେଳେ ବାରିପଦା ଏବଂ ଭବାନୀପାଟଣାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଅନୁଭୁତ ହୋଇଛି।