ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ, ଆଜିଠୁ ରାଜ୍ୟବ୍ୟାପୀ ପ୍ରତିବାଦ କରିବେ ଛାତ୍ରଛାତ୍ରୀ

ଭୁବନେଶ୍ବର : ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ। ଛାତ୍ରୀ ଓ ନାରୀ ଅସୁରକ୍ଷିତ। ପ୍ରତିବାଦରେ ଆଜିଠୁ ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ପ୍ରତିବାଦ କରିବେ ଛାତ୍ରଛାତ୍ରୀ। ଏଥିରେ ଛାତ୍ରଛାତ୍ରୀ ମାନେ ସେମାନଙ୍କ ଅଞ୍ଚଳର ଥାନା ଓ ଏସପିଙ୍କୁ ଭେଟି ରାଜ୍ୟର ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା, ଛାତ୍ରୀ ଓ ନାରୀ ସୁରକ୍ଷା ପ୍ରଦାନ ସମ୍ବନ୍ଧରେ ପୋଲିସ ଡିଜିଙ୍କ ଉଦ୍ଦେଶ୍ୟରେ ସ୍ମାରକ ପତ୍ର ପ୍ରଦାନ କରିବେ। ସେହିପରି ଅଗଷ୍ଟ ୮ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ଛାତ୍ର ଛାତ୍ରୀ ମାନେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନିକଟକୁ ଖୋଲା ଚିଠି ପଠାଇବେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ଲକ୍ଷାଧିକ ଚିଠି ପଠାଯିବ। ରାଜ୍ୟରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା, ବିଶେଷକରି ଛାତ୍ରୀ ଓ ମହିଳା ମାନେ ଅସୁରକ୍ଷିତ ହୋଇ ପଡିଛନ୍ତି ବୋଲି ଅଭିଯୋଗ କରି ବିଜେଡି ଆନ୍ଦୋଳନ କରି ଆସୁଥିବା ବେଳେ, ବିଜୁ ଛାତ୍ର ଓ ଯୁବ ଜନତା ଦଳ ତରଫରୁ ଦ୍ଵିତୀୟ ପର୍ଯ୍ୟାୟ ଆନ୍ଦୋଳନ ଆରମ୍ଭ ହେବ। ବିଭିନ୍ନ ଛାତ୍ରୀ ନିବାସରେ ନାବାଳିକା ମାନେ ଗର୍ଭବତୀ ହେଉଛନ୍ତି। ଛାତ୍ରୀ ଓ ନାରୀ ମାନେ ଅସୁରକ୍ଷିତ ହୋଇ ପଡିଥିଲା ବେଳେ, ରାଜ୍ୟ ସରକାର ନିଘୋଡ଼ ନିଦରେ ଶୋଇଛନ୍ତି। ଗୋପାଳପୁର ବେଳାଭୂମିରେ ଜଣେ ଛାତ୍ରୀଙ୍କୁ ଗଣଦୁଷ୍କର୍ମ, ବାଲେଶ୍ଵର ଏଫଏମ କଲେଜ ଛାତ୍ରୀଙ୍କ ଆତ୍ମଦାହ ଘଟଣା ଓ ବଳଙ୍ଗା ନାବାଳିକା ପୋଡି ଘଟଣା ସମଗ୍ର ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଉଦାସୀନତାର ପ୍ରତିବାଦରେ ବିଜୁ ଯୁବ ଓ ଛାତ୍ର ଜନତା ଦଳ ରାଜ୍ୟବ୍ୟାପୀ କ୍ୟାମ୍ପସ ଆନ୍ଦୋଳନ କରିଥିଲା। ବିଜୁ ଜନତା ଦଳ ତରଫରୁ ବାଲେଶ୍ୱର ବନ୍ଦ, ଲୋକସେବା ଭବନ ଘେରାଉ କାର୍ଯ୍ୟକ୍ରମ ସହିତ ୩ ଆରଡିସି ଅଫିସ ଘେରାଉ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା।